
ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଥଣ୍ଡା ରହିବା ସହ ସାମ୍ଭାବ୍ୟ ବାତ୍ୟା ଯୋଗୁଁ ହେବାକୁ ଥିବା ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି । ସେଥିଲାଗି ଉକ୍ତ ୧୧ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ୨୩ ତାରିଖରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେପଟେ ୨୪ ତାରିଖରେ ରାଜ୍ୟରେ କାଳବୈଶାଖୀଜନିତ ବର୍ଷା ସହ ୨୫ରେ ସାମ୍ଭାବ୍ୟ ବାତ୍ୟା ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଉପକୂଳବର୍ତ୍ତୀ ଜିଲ୍ଲା ଯଥା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି । ସେହିପରି ଗଞ୍ଜାମ, ଢେଙ୍କାନାଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।