
ଆକ୍ସନ ମୁଡରେ ରାଜ୍ୟ ସରକାର, ୯ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କୁ ଦେଲେ ବାଧ୍ୟତାମୂଳକ ଅବସର ……
ଦୁର୍ନୀତିଗ୍ରସ୍ତ ଓ ଅପାରଗ ସରକାରୀ ଅଧିକାରୀଙ୍କୁ ଆଉ ନିସ୍ତାର ନାହିଁ । ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଆଉ ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ସଂଖ୍ୟା ୧୧୩ ରେ ପହଞ୍ଚିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ରାଜ୍ୟ ସରକାର ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ୱାସ୍ଥ୍ୟ ଓ ଶ୍ରମ ବିଭାଗର ୯ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ବିରୁଦ୍ଧରେ ଦୁର୍ନୀତି ମାମଲା ଥିବାବେଳେ, ୨ ଜଣଙ୍କୁ ଅପାରଗତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଖଣି ବିଭାଗର ୨ ଜଣ ଅଧିକାରୀ ତଥା ବଲାଙ୍ଗୀର ମୂରିବାହଲ ଫରେଷ୍ଟ ରେଞ୍ଜ ଅଫିସର ଏବଂ ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ୱାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟରଙ୍କୁ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅନ୍ୟ ୫ ଜଣଙ୍କୁ କିଛି ଦିନ ତଳେ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା ।
Adv -ଖୁବ ଶୀଘ୍ର ଆସୁଅଛି କେବଳ କୁସୁମ ଟିଭିରେ।।

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଖଣି ବିଭାଗର ଉପନିର୍ଦ୍ଦେଶକ ମଦନ ମୋହନ ବିଶ୍ୱାଳ । ବିଶ୍ୱାଳଙ୍କ ବିରୁଦ୍ଧରେ ୯ଟି ଭିଜିଲାନ୍ସ କେସ୍ ରହିଛି । ଖଣି ଅଧିକାରୀ ଗ୍ରୁପ-କ ପାହ୍ୟାର ଅଧିକାରୀ ରମେଶ ଚନ୍ଦ୍ର ମହାଲିକଙ୍କ ବିରୁଦ୍ଧରେ ୪ଟି ଭିଜିଲାନ୍ସ କେସ୍ ଥିଲା ।ବଲାଙ୍ଗୀର ମୂରିବାହାଲ ଫରେଷ୍ଟ ରେଞ୍ଜ ଅଫିସର ପ୍ରଶାନ୍ତ କୁମାର ନାୟକ ୧ କୋଟି ୪୦ ଲକ୍ଷ ଟଙ୍କାର ଆୟବହିର୍ଭୁତ ସଂପତ୍ତି ରଖିଛନ୍ତି । ଏହା ସହିତ ବଲାଙ୍ଗୀର ଜିଲ୍ଲାରେ ତାଙ୍କର ୧୦ଟି ପ୍ଲଟ ଓ ୨ଟି କୋଠା ମଧ୍ୟ ଠାବ କରାଯାଇଥିଲା । ସେଥିପାଇଁ ତାଙ୍କ ନାମରେ ଭିଜିଲାନ୍ସ ମାମଲା ରହିଛି ।
ସେହିପରି ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ୱାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟର ନାରାୟଣ ପ୍ରଧାନଙ୍କ ବିରୁଦ୍ଧରେ ଭିଜିଲାନ୍ସ ମାମଲା ରହିଛି । ତାଙ୍କର ଆୟ ବହିର୍ଭୂତ ୨ କୋଟି ୨୦ ଲକ୍ଷ ଟଙ୍କାର ସଂପତ୍ତି ରହିଛି । ଏହା ସହିତ ଦେଓଗଡ ଜିଲ୍ଲାରେ ୪ଟି କୋଠା, ସମ୍ବଲପୁର, ଦେଓଗଡ, ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାରେ ୩୧ଟି ଜମି ମଧ୍ୟ ରହିଛି ।

ଜଙ୍ଗଲ ବିଭାଗର ସହକାରୀ ବନ ସଂରକ୍ଷକ ଲକ୍ଷ୍ଣଣ କୁମାର ପ୍ରଧାନଙ୍କ ବିରୁଦ୍ଧରେ ୨ଟି ଭିଜିଲାନ୍ସ କେସ ରହିଛି । ଜଙ୍ଗଲ ବିଭାଗର ରେଞ୍ଜ ଅଫିସର ଭରତ କୁମାର ଘଡେଇଙ୍କ ବିରୁଦ୍ଧରେ ୩ଟି ଭିଜିଲାନ୍ସ କେସ୍ ରହିଛି । ସେହିପରି ରାୟଗଡା ଜିଲ୍ଲା ଶ୍ରମ ଅଧିକାରୀ ପ୍ରଦୀପ କୁମାର ଭୋଇଙ୍କ ବିରୁଦ୍ଧରେ ଗୋଟିଏ ଭିଜିଲାନ୍ସ କେସ ରହିଛି । ଏହି ସମସ୍ତଙ୍କୁ ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯାଇଛି । ତେବେ ଭୁବନେଶ୍ୱରର ଯୁଗ୍ମ ଶ୍ରମ କମିଶନର ଶରତ କୁମାର ଚୌଧୁରୀ ଏବଂ ଗଜପତି ଜିଲ୍ଲାର ଡିଭିଜିନାଲ ଶ୍ରମ କମିଶନର ଶ୍ରୀମତୀ ନମିତା ଦାସଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଉପରୋକ୍ତ ୯ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୧୩ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି ।

